ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା

SHARE NOW :
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ । ସାରା ରାଜ୍ୟରେ ପୁଣି ହେବ ପ୍ରବଳ ବର୍ଷା । ୧୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଓଡ଼ିଶା ସମେତ ୧୫ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି । ୧୮ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି । ସକ୍ରିୟ ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବ । ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି ଏବଂ କଳାହାଣ୍ଡିରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଲାଗି ରହିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଏବଂ ପଶ୍ଚିମବଙ୍ଗରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ତଳମୁଣ୍ଡରେ ପ୍ରବଳ ବର୍ଷା ହେବ । ଫଳରେ ମହାନଦୀ ସମେତ ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଦେବୀ, ଏବଂ ଜଳକା ନଦୀରେ ବନ୍ୟା ସ୍ଥିତି ଆସିପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ୧୫ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।